ଆସନ୍ତା ୪ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ସେପ୍ଟେମ୍ୱର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।