Odia News Portal

୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରେ ଲଘୁଚାପ

ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଲଘୁଚାପଟି ପଶ୍ଚିମ- ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ୧୬ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ବେହାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଅନ୍ୟପକ୍ଷରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଥିବା ବେଳେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୧,୫ କିମି ଯାଏଁ ସକ୍ରିୟ ରହିଛି।

ପାଣିପାଗର ଏପ୍ରକାର ସ୍ଥିତିରେ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପର ସ୍ପଷ୍ଟ ଚିତ୍ର ମିଳିପାରି ନାହିଁ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ସ୍ପଷ୍ଟ ଚିତ୍ର ଓ ଏହାର ଗତିପଥ ଜଣାପଡ଼ିବ ବୋଲି ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି। ତେବେ ଏହାର ପ୍ରଭାବରେ ୧୫ ତାରିଖ ଠାରୁ ୧୮ ତାରଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତ୍ୟତି ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।