Odia News Portal

ଆକାଶ ମାର୍ଗରୁ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

 ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରିଛନ୍ତି । ଏହାସହ ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଦ୍ୱାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟାଞ୍ଚଳ ପରିଦର୍ଶନ କରି ସନ୍ଧ୍ୟାରେ ପରିସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ ।  ସମୀକ୍ଷାପରେ ଗଣମାଧ୍ୟମ ଆଗରେ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀ କହିଲେ ଯେ  ସମୁଦାୟ ୬୨୧୦ଟି ଆଶ୍ରୟସ୍ଥଳରେ ୮ ଲକ୍ଷରୁ ଅଧିକ ଲୋକ ରହିଥିଲେ । କିନ୍ତୁ ବର୍ତ୍ତମାନ ପ୍ରାୟ ସମସ୍ତେ ନିଜନିଜ ଘରକୁ ଫେରିଗଲେଣି । ଯେଉଁ କେତୋଟି ଗ୍ରାମ ପଞ୍ଚାୟତରେ ପାଣି ଜମି ରହିଛି ସେଠିକାର ଲୋକମାନେ ଏବେବି ଆଶ୍ରୟସ୍ଥଳୀରେ ଅଛନ୍ତି ।  ମାତ୍ର ୩୦ ହଜାର ଲୋକ ୪୭୦ଟି ଆଶ୍ରୟସ୍ଥଳୀରେ ଅଛନ୍ତି । 

ବିଦ୍ୟୁତ୍ ଯୋଗାଣ ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ପ୍ରତିଶତ ବିଦ୍ୟୁତ୍ ଉପଭୋକ୍ତାଙ୍କ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରାଯାଇଛି । ସମୁଦାୟ ୨୨ ଲକ୍ଷ ୮୪ ହଜାର ଉପଭୋକ୍ତା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୨୨ ଲକ୍ଷ ୩୨ ହଜାର ଉପଭୋକ୍ତାଙ୍କୁ ବିଦ୍ୟୁତ୍ ସଂଯୋଗ ସ୍ୱାଭାବିକ କରାଯାଇଛି । 

କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଳ୍ପ କେତୋଟି ଗ୍ରାମ ପଞ୍ଚାୟତ ଏବେବି ଜଳମଗ୍ନ ଅଛି । ତାହା ସତ୍ତ୍ୱେ ବି ବିଦ୍ୟୁତ୍ ଯୋଗାଣ କାର୍ଯ୍ୟ ଚାଲିଛି । ପାଣି କମିବା ପରେ ବିଦ୍ୟୁତ୍ ଯୋଗାଣ ଶତପ୍ରତିଶତ ସ୍ୱାଭାବିକ  ହୋଇଯିବ । ୭ ହଜାରରୁ ଅଧିକ କର୍ମଚାରୀ ବିଦ୍ୟୁତ୍ ଯୋଗାଣ ସ୍ୱାଭାବିକ କରିବା ପାଇଁ ନିୟୋଜିତ ଅଛନ୍ତି ବୋଲି ସେ କହିଥିଲେ । ବିଦ୍ୟୁତ୍ ପୁନଃ ଯୋଗାଣ କ୍ଷେତ୍ରରେ ଲୋକମାନେ କର୍ମଚାରୀଙ୍କୁ ସ୍ଵତଃ ପ୍ରବୃତ୍ତ ଭାବେ ସହଯୋଗ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

କୃଷି କ୍ଷେତ୍ରର କ୍ଷୟକ୍ଷତି ଉପରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ, କୃଷି କ୍ଷେତ୍ରରେ କେନ୍ଦ୍ରାପଡା ଭଦ୍ରକ, ବାଲେଶ୍ୱର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାର ୧୨ଟି ବ୍ଲକର ୮୮୦ଟି ଗ୍ରାମ ପଞ୍ଚାୟତ ଓ ୪୧୦୦ଟି ଗ୍ରାମରେ ପ୍ରାୟ ୨ ଲକ୍ଷ ୨୧ ହଜାର ୮୦୦ ଏକର ଚାଷ ଜମିରେ ଫସଲ କ୍ଷତି ହୋଇଛି । ପ୍ରକୃତ ରିପୋର୍ଟ ଆସିବାପରେ ସହାୟତା ପ୍ରଦାନ କରାଯିବ ବୋଲି ସେ କହିଥିଲେ । 

ସେହିପରି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୩୩୫ଟି ଡାକ୍ତରୀ ଦଳ ନିୟୋଜିତ ହୋଇଥିଲେ । ସମୁଦାୟ ୪୮୭୧ ଗର୍ଭବତୀ ମହିଳାଙ୍କୁ ସ୍ୱାସ୍ଥ୍ୟକେନ୍ଦ୍ର ଓ ମା’ ଗୃହକୁ ଅଣାଯାଇଥିଲା । ସେଠାରେ ଏହି ସମୟ ମଧ୍ୟରେ ୨,୫୨୯ ଜଣ ଶିଶୁ ଜନ୍ମ ଗ୍ରହଣ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସବୁ ପ୍ରମୁଖ ରାସ୍ତା ଗୁଡିକରୁ ପ୍ରାୟ ସବୁ ଅବରୋଧ ହଟି ସାରିଛି ଏବଂ ବର୍ତ୍ତମାନ ଗମନା ଗମନରେ କୌଣସି ଅସୁବିଧା ନାହିଁ ।  ବନ୍ୟା ଭୟ ବର୍ତ୍ତମାନ ଆଉ ନାହିଁ । ବୁଢାବଳଙ୍ଗ ନଦୀ ପୂର୍ବରୁ ବିପଦ ସଙ୍କେତ ଉପରେ ଥିଲା । ତେବେ, ବର୍ତ୍ତମାନ ଜଳସ୍ତର ହ୍ରାସ ପାଇଛି । ଏବେ ଏହା ବିପଦ ସଙ୍କେତ ତଳେ ଅଛି । ବିପଦ ସ୍ତର ୮.୧୩ ମିଟର ଥିବା ବେଲେ ବର୍ତ୍ତମାନ ଜଳସ୍ତର ୭.୨୦ ମିଟର ଅଛି ।