Odia News Portal

ଆଦର୍ଶ ବିଦ୍ୟାଳୟରେ ନିଯୁକ୍ତି ପାଇଲେ ୪୪୩ ଶିକ୍ଷକ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ଦିଗରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ଵପୂର୍ଣ୍ଣ। ତେଣୁ ଏହି ଲକ୍ଷ୍ୟରେ ରାଜ୍ୟର ସବୁ ଜିଲ୍ଲାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ପ୍ରାୟ ୪୪୩ ଶିକ୍ଷକଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହିତ ଗୁରୁଦିବସ ଅବସରରେ ଗୁରୁମାନଙ୍କୁ ଦଶ ସୂତ୍ରୀ ଲକ୍ଷ୍ୟ ସମ୍ପର୍କରେ ବୁଝାଇବା ସହ ଛାତ୍ରଛାତ୍ରୀଙ୍କ ଭବିଷ୍ୟତର ସଫଳତା ପାଇଁ ସଠିକ୍ ଭାବରେ ଗାଇଡ କରିବାକୁ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଛନ୍ତି।ଗୁରୁଦିବସରେ ଲୋକସେବା ଭବନର କନଭେନସନ ସେଣ୍ଟରରେ ଏକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହି ଦେଶର ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏଥିସହ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ୪୪୩ ଜଣ ନୂଆ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବନିଯୁକ୍ତ ଶିକ୍ଷକମାନଙ୍କୁ ସ୍ଵାଗତ କରି କହିଥିଲେ, “ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ହେଉଛି ମୋର ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂରାଜୀ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ ଅର୍ଦ୍ଧ ସହରାଞ୍ଚଳର ମେଧାବୀ ଛାତ୍ରଛାତ୍ରୀମାନେ ଏହାଦ୍ଵାରା ଉପକୃତ ହେଉଛନ୍ତି। ଗୁଣାତ୍ମକ ଶିକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ସାରା ଦେଶରେ ଆଦର୍ଶ ବିଦ୍ୟାଳୟଗୁଡିକ ଏକ ରୋଲ ମଡେଲ ହେଉ, ଏହା ଏହା ମୁଁ ଚାହେଁ।”ସେ ଆଉ ମଧ୍ୟ କହିଥିଲେ, “ଜାତୀୟ ସ୍ତରର ବିଭିନ୍ନ ପ୍ରବେଶିକା ପରୀକ୍ଷାରେ ସଫଳତା ହାସଲ କରିବା ପାଇଁ ଏହି ବିଦ୍ୟାଳୟଗୁଡିକୁ ସବୁପ୍ରକାର ସୁବିଧା ସୁଯୋଗ ଯୋଗାଇ ଦିଆଯାଉଛି। ପିଲାମାନଙ୍କ ମନରେ ଯେପରି ଆଶା ଓ ଆତ୍ମବିଶ୍ଵାସ ବୃଦ୍ଧି ହେବ ଏବଂ ସେମାନେ ଏହି ପ୍ରତିଯୋଗିତାମୂଳକ ଦୁନିଆରେ ସବୁପ୍ରକାର ବାଧାବିଘ୍ନକୁ ଅତିକ୍ରାନ୍ତ କରି ସଫଳତାର ପାହାଚ ଚଢିପାରିବେ ତାହା ଆମର ଲକ୍ଷ୍ୟ।”ପ୍ରତି ଛାତ୍ରଛାତ୍ରୀଙ୍କ ସ୍ଵପ୍ନକୁ ସାକାର କରିବା ପାଇଁ ଶିକ୍ଷକମାନେ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆହ୍ଵାନ ଦେବା ସହ ଆଦର୍ଶ ବିଦ୍ୟାଳୟଗୁଡିକ ପାଇଁ ଏକ ଦଶ ସୂତ୍ରୀ ଲକ୍ଷ୍ୟ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଏଥିରେ ପିଲାମାନଙ୍କୁ ରକ୍ତଦାନ, ପରିବେଶ ସୁରକ୍ଷା, ସାକ୍ଷରତା ଅଭିଯାନରେ ସାମିଲ କରିବା, ଯୋଗ, କ୍ରୀଡା ଓ ସୁସ୍ଥ ଜୀବନଶୈଳୀ ଆଦି ପାଇଁ ଉତ୍ସାହିତ କରିବା, ଜାତୀୟ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ସଫଳତା ପାଇଁ ପିଲାଙ୍କୁ ପ୍ରସ୍ତୁତ କରିବା, ସ୍କୁଲ ସମୟରୁ ଦକ୍ଷତାର ବିକାଶ ପ୍ରତି ଯତ୍ନବାନ ହେବା ଆଦି ବିଭିନ୍ନ ବିଷୟ ଉପରେ ଗୁରୁତ୍ଵାରୋପ କରାଯାଇଥିଲା। ଏତଦବ୍ୟତୀତ ପ୍ରତି ଆଦର୍ଶ ବିଦ୍ୟାଳୟକୁ ଏକ ଦଶ ବର୍ଷିଆ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ