Odia News Portal

ଆଜି ପବିତ୍ର ଶ୍ରୀପଞ୍ଚମୀ ତିଥିରେ ରଥଯାତ୍ରା ପାଇଁ ରଥ କାଠ ପୂଜାର୍ଚ୍ଚନା

ଆଗାମୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ। ଏଥିପାଇଁ ନୟାଗଡ଼  ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ  ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ। ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ୱାରା ମା’ ସରସ୍ଵତୀଙ୍କ ନିକଟରେ ସ୍ଵତନ୍ତ୍ର ପୂଜା କରାଯିବା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣମାନେ ବନ୍ଦାପନା ସହିତ ପୂଜା କରିବେ।
ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜିଉଙ୍କ ନିକଟରେ ପ୍ରାର୍ଥନା କରାଯିବ। ସେହିପରି ଆସନ୍ତା ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି। ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବାବେଳେ ପୂର୍ବ ବର୍ଷରୁ ଶ୍ରୀମନ୍ଦିର ପ୍ରଶାସନ ପାଖରେ ୧୧୮ ଖଣ୍ଡ କାଠ ମହଜୁଦ ଅଛି। ଅବଶିଷ୍ଟ ୭୪୭ ଖଣ୍ଡ କାଠ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ଅଣାଯିବାକୁ ଥିବାବେଳେ ଗତ ୨୧ ତାରିଖ ସନ୍ଧ୍ୟାରେ ତିନୋଟି ଟ୍ରକରେ ୧୦୪ ଖଣ୍ଡ କାଠ ପୁରୀରେ ଆସି ପହଞ୍ଚିଛି। ସେଥି ମଧ୍ୟରୁ ତିନୋଟି ୧୨ ଫୁଟିଆ ଧଉରା କାଠକୁ ଆଜି ପୂଜାର୍ଚ୍ଚନା କରାଯିବ।